ମୁଖ୍ୟ ଖବର

କାର୍ଯ୍ୟ ସୁଚାରୁରୂପେ ସଂପାଦନ କରିବା ପାଇଁ ସଚିବଙ୍କ ସହଯୋଗ କାମନା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଜି ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ କାର୍ଯ୍ୟ ସୁଚାରୁରୂପେ ସଂପାଦନ କରିବା ପାଇଁ ସମସ୍ତ ସଚିବଙ୍କ ସହଯୋଗ କାମନା କରିଛନ୍ତି। ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା କହିଥିଲେ ଯେ, ଓଡ଼ିଶାରେ ପ୍ରଶାସନିକ ବ୍ୟବସ୍ଥାର ସୁନାମ ରହଛି। ନବ ଗଠିତ ସରକାରଙ୍କ ନିର୍ବାଚନ ଇସ୍ତାହାରକୁ ଆଖି ଆଗରେ ରଖି ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମଗୁଡ଼ିକର କାର୍ଯ୍ୟାନ୍ବୟନ ଉପରେ ସେ ଗୁରତ୍ବାରୋପ କରିଥିଲେ। ସମସ୍ତ ଯୋଜନାର କାର୍ଯ୍ୟକାରିତା ପାଇଁ ଯେପରି ଫଳପ୍ରଦ ପ୍ରୟାସ ରହିବ, ସେ ସଂପର୍କରେ ସେ ବହୁ ଗଠନମୂଳକ ପରାମର୍ଶ ଦେଇଥିଲେ।ବୈଠକରେ ଆଗାମୀ ବଜେଟ ଉପସ୍ଥାପନ, ପୁରୀ ରଥଯାତ୍ରାର ସୁପରିଚାଳନା, ମାନ୍ୟବର ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ଉପଲକ୍ଷେ ଆନୁଷଙ୍ଗିକ ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇଥିଲା। ବିଭିନ୍ନ ବିଭାଗର କାର୍ଯ୍ୟରେ ଯୋଜନା ଓ କାର୍ଯ୍ୟକ୍ରମର କାର୍ଯ୍ୟକାରିତାରେ ଛୋଟଛୋଟ ସମସ୍ୟା ରହୁଥିଲେ କାର୍ଯ୍ୟକୁ ବିଳମ୍ବିତ ନକରି ଶୀଘ୍ର ଶେଷ କରାଯିବା, କାର୍ଯ୍ୟରେ ସୃଜନଶୀଳତା, ସ୍ବଚ୍ଛତା ଓ ସୁପ୍ରଶାସନ ଦିଗରେ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ଗୁରୁତ୍ବାରୋପ କରିଛନ୍ତି। ବିଭିନ୍ନ ବିଭାଗ ଦାୟିତ୍ବରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ, କମିସନର ତଥା ଶାସନ ସଚିବମାନେ ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମ ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସହିତ ଆଲୋଚନା କରିଥିଲେ। ସଚିବମାନେ ବିଭିନ୍ନ କାର୍ଯ୍ୟରେ ଅଭିନବତ୍ବ ଆଣିବା ବୈଷୟିକ ଜ୍ଞାନ କୌଶଳର ଉପଯୋଗ ଏବଂ ଉତ୍ତରଦାୟିତ୍ବ ପ୍ରତି ସେ ଗୁରୁତ୍ବାରୋପ କରିଥିଲେ। ବିଭିନ୍ନ କାର୍ଯ୍ୟ ସୁଚାରୁରୂପେ ସଂପାଦନ କରିବା ପାଇଁ ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ସମସ୍ତ ସଚିବମାନଙ୍କ ସହଯୋଗ କାମନା କରିଥିଲେ।ବୈଠକ ଆରମ୍ଭରୁ ଉନ୍ନୟନ କମିସନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସ୍ବାଗତ ଅଭିଭାଷଣ ପ୍ରଦାନ କରି ନୂତନ ମୁଖ୍ୟ ଶାସନ ସଚିବଙ୍କ ଦୀର୍ଘ ପ୍ରଶାସନିକ ଅଭିଜ୍ଞତା ସଂପର୍କରେ ଆଲୋକପାତ କରିଥିଲେ।

Leave a Reply

Your email address will not be published. Required fields are marked *