ମୁଖ୍ୟ ଖବର

୨ ଦିନ କାଳବୈଶାଖୀ, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର : ଜି କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ବର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ଶୁକ୍ରବାର ଦିନ ଝଡ଼ବର୍ଷା ସହ ସ୍ଥାନେସ୍ଥାନେ କୁଆପଥର ବର୍ଷା ହୋଇଯାଇଛି। ଏହାବ୍ୟତୀତ ପ୍ରାୟ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇଯାଇଛି। ଆଜି ଦିନବେଳା ଟାଣଖରା ଓ ଅପରାହ୍‌ଣରେ କାଳବୈଶାଖୀ ଜନିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାର କେତେକ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ସେହିଭଳି ନୂଆପଡ଼ା, ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବରଗଡ଼, ଢେଙ୍କାନାଳ, ବାଲେଶ୍ବର, ଯାଜପୁର ଓ ଭଦ୍ରକ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ଝଡ଼ବର୍ଷା ହୋଇପାରେ।

୯ ତାରିଖ ଦିନ ମଧ୍ୟ ରାଜ୍ୟରେ କାଳବୈଶାଖୀର ପ୍ରକୋପ ରହିବ। କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ବୌଦ୍ଧ, ଅନୁଗୁଳ, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏଣୁ ଏହି ଦୁଇ ଦିନ ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାପରେ ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ରହିବ। କାଁ ଭାଁ ବର୍ଷା ସମ୍ଭାବନା ବି ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ପାଣିପାଗ କେନ୍ଦ୍ର କହିଛି ଯେ ଗତକାଲି ଭଳି ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରା ଏହି ଭଳି ରହିବ। ଦିନର ସର୍ବୋଚ୍ଚ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। କାଳବୈଶାଖୀ ବର୍ଷା ଯୋଗୁଁ ରାତିର ସର୍ବନିମ୍ନ ତାପମାତ୍ରା ଅପେକ୍ଷାକୃତ କମ୍‌ ରହିପାରେ। ଆଜି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ଆଂଶିକ ମେଘୁଆ ରହିବ। ଦିନର ସର୍ବୋଚ୍ଚ ତାପମାତ୍ରା ୩୮ ଡିଗ୍ରି ଓ ରାତିର ସର୍ବନିମ୍ନ ତାପମାତ୍ରା ୨୨ ଡିଗ୍ରି ମଧ୍ୟରେ ରହିବ।

Leave a Reply

Your email address will not be published. Required fields are marked *