ଧର୍ମ

🌾ଅକ୍ଷୟ ତୃତୀୟା ବ୍ରତ🌾


ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ସହିତ କୃତ୍ତିକା ବା ରୋହିଣୀ ନକ୍ଷତ୍ରଯୁକ୍ତ ହେଲେ ମହାଫଳ ପ୍ରାପ୍ତିହୁଏ

। ଏହାକୁ ବ୍ରତ ରୂପେ ପାଳନ କରାଯାଏ । ବ୍ରତୀମାନେ ଶୁଦ୍ଧକାଳରେ ଏହି ବ୍ରତକୁ ଆରମ୍ଭକରି ଆଠବର୍ଷରେ ଉଦ୍‌ଯାପନ କରନ୍ତି ।

ଏହିଦିନ ଜଳଦାନ କଲେ କି ପୁଣ୍ୟଫଳ ମିଳେ ସେ ସଂପର୍କରେ ଚମତ୍କାର ଉପାଖ୍ୟାନଟି ଏହିପରି- ପୁରାକାଳରେ ଜଣେ ପାପୀ ବ୍ରାହ୍ମଣ ଥିଲା ।

ସେ ତା’ ଜୀବନରେ କିଛି ଦାନ ଧର୍ମକାର୍ଯ୍ୟ କରି ନଥିଲା । ଥରେ ତା’ ଗୃହକୁ ଅନ୍ୟ ଜଣେ ତୃଷାର୍ତ୍ତ ବ୍ରାହ୍ମଣ ଆସି ଜଳଭିକ୍ଷା କଲା ।

ପାପୀ ବ୍ରାହ୍ମଣ ତାକୁ ଜଳ ନଦେଇ ନିଷ୍ଠୁର ଭାବେ ଗୃହରୁ ବିତାଡିତ କଲା ସମୟରେ ସୁଶିଳା ନାମ୍ନୀ ତା’ର ସ୍ତ୍ରୀ ଆସି ସ୍ୱାମୀକୁ ସେ କାର୍ଯ୍ୟରୁ ନିବୃତ୍ତ କଲା ଓ ତୃଷାର୍ତ୍ତକୁ ଜଳଦାନ କଲା ।

କିଛି ବର୍ଷ ପରେ ପାପୀ ବ୍ରାହ୍ମଣର ମୃତ୍ୟୁ ହେଲା । ଯମଦୂତମାନେ ଆସି ତାକୁ ବାନ୍ଧି ନେଇଗଲେ । ଯମପୁରୀରେ ଥାଇ ଥରେ ସେ ତୃଷାର୍ତ୍ତ ହୋଇ ଯମଦୂତଙ୍କୁ ଜଳଭିକ୍ଷା କଲା

। ଯମଦୂତମାନେ ତାହାକୁ ତିରଷ୍କାର କରି କହିଲେ- ନିଜ ଜୀବନରେ କେବେ ଜଳଦାନ ନକରି ଜଳଭିକ୍ଷା କରୁଛୁ କିପରି, ପାପୀ ? ଏହି ସମୟରେ ସ୍ୱୟଂ ଯମରାଜ ସେଠାରେ ପହଞ୍ଚି ସ୍ୱହସ୍ତରେ ସେ ବ୍ରାହ୍ମଣକୁ ଜଳଦାନ କଲେ ।

ଦୂତମାନେ ଆଶ୍ଚର୍ଯ୍ୟ ହୋଇ ଏହାର କାରଣ ପଚାରିବାରୁ ଯମରାଜ କହିଲେ – ଏହି ବ୍ରାହ୍ମଣ ସାରା ଜୀବନ ପାପକର୍ମ କରିଥିଲେ ସୁଦ୍ଧା ଅକ୍ଷୟତୃତୀୟା ଦିନ ଏହାର ସ୍ତ୍ରୀ ତୃଷାର୍ତ୍ତ ବ୍ରାହ୍ମଣକୁ ଜଳଦାନ କରିଥିଲା ।

ସ୍ତ୍ରୀର ସେହି ପୁଣ୍ୟବଳରୁ ଏହାର ପାପ ଖଣ୍ଡନ ହୋଇଛି । ତେଣୁ ଏହାର ଆଉ ନର୍କଭୋଗ ଯୋଗ ନାହିଁ । ମହର୍ଷି ଜନକ ଭାରତୀୟ କୃଷିଜୀବୀ କୁଳର ପ୍ରତିନିଧି ରୂପେ ନିଜେ ଭୂମିପୂଜା କରି ବୀଜବପନ କରୁଥିଲେ ।

ଭୂମିକର୍ଷଣ ସମୟରେ ସେ ସୀତାଙ୍କୁ ଲାଭ କରିଥିବାରୁ ଋକ୍ ବେଦରେ ସୀତା ଉତ୍କୃଷ୍ଟ ବୀଜଦାତ୍ରୀ ରୂପେ ବର୍ଣ୍ଣିତ ହୋଇଛନ୍ତି । ବୈଦିକ ଋଷିମାନେ ଅକ୍ଷୟ ଶସ୍ୟ ପ୍ରଦାନ କରିବା କାମନାରେ ସୀତାଙ୍କୁ ସ୍ତୁତି କରିଛନ୍ତି ।

ଆଗ୍ନେୟ ପୁରାଣ, ବିଷ୍ଣୁ ଧର୍ମୋତ୍ତର ପୁରାଣ ଓ ଭବିଷ୍ୟ ପୁରାଣାଦିରେ ଅକ୍ଷୟ ତୃତୀୟାକୁ ଗୋଟିଏ ପ୍ରଶସ୍ତ ଶୁଭଦିନ ରୂପେ ବର୍ଣ୍ଣନା କରାଯାଉଛି ।

Leave a Reply

Your email address will not be published. Required fields are marked *